
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକସେବା ଭବନଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି। ଏହି ମେଡିକାଲ କଲେଜକୁ ଏକ ବିଶ୍ବସ୍ତରୀୟ ମେଡିକାଲ କଲେଜ ରୂପେ ବିକଶିତ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏଠାରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ଏବଂ ଡାକ୍ତରୀ ଶିକ୍ଷା ଭିତ୍ତିଭୂମିଠାରୁ ଆରମ୍ଭ କରି ବ୍ୟବସ୍ଥିତ ପାର୍କିଂ ସୁବିଧା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।ଏଥିସହିତ ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ପୁନଃ ବିକାଶ କାର୍ଯ୍ୟ ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର କମିଶନର ତଥା ଶାସନ ସଚିବ, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଏବଂ ସ୍ବାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।




